୧୨ ଯାଏଁ କାଳବୈଶାଖୀ

୧୨ ଯାଏଁ କାଳବୈଶାଖୀ

ଭୁବନେଶ୍ୱର: ଆସନ୍ତା ୨ ରୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ଦିନ ଓ ରାତିର ତାପମାତ୍ରାରେ ସେଭଳି କୌଣସି ପରିବର୍ତ୍ତନ ହେବ ନାହିଁ । ତେବେ ୧୨ ଯାଏ ରାଜ୍ୟର କିଛି ସ୍ଥାନରେ କାଳବୈଶାଖୀ ବର୍ଷା ହୋଇପାରେ । ସ୍ଥାନେ ସ୍ଥାନେ ଘଣ୍ଟା ପ୍ରତି ୪୦ ରୁ ୫୦ କିମି ବେଗରେ ପବନ ହେବ । ପରିସ୍ଥିତିକୁ ଦୃଷ୍ଟିରେ ରଖି କିଛି ଜିଲ୍ଲା ପାଇଁ ୧୨ ତାରିଖ ପର୍ଯ୍ୟନ୍ତ ସତର୍କ ସୂଚନା ଦିଆଯାଇଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି ଯେ ଏବେ ପାଗ ଶୁଖିଲା ରହିବ । ତାପମାତ୍ରା ବିଶେଷ ବୃଦ୍ଧି ପାଇବ ନାହିଁ । ତେବେ ଆଜି ଉପକୂଳ ଓଡ଼ିଶା ସମେତ କେନ୍ଦୁଝର, ସୁନ୍ଦରଗଡ଼, ମୟୂରଭଞ୍ଜ, ଢେ଼ଙ୍କାନାଳ, ଅନୁଗୁଳ, ବୌଦ୍ଧ, କନ୍ଧମାଳ ଓ ବଲାଙ୍ଗୀର ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବଜ୍ରପାତ ଓ ୪୦ କିମି ବେଗରେ ପବନ ବହିବ । ୧୦ ତାରିଖରେ ଉପକୂଳ ଓଡ଼ିଶା ସମେତ ରାୟଗଡ଼ା, କୋରାପୁଟ, କନ୍ଧମାଳ ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ୧୧ରେ ଦକ୍ଷିଣ ଓଡ଼ିଶା ସମେତ ମୟୂରଭଞ୍ଜ ଓ ବାଲେଶ୍ୱରରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୧୨ ତାରିଖରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାର କେତେକ ଜିଲ୍ଲାରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି ।