ଆମ ଓଡିଶା ନବୀନ ଓଡ଼ିଶା ଯୋଜନାରେ ସଂସ୍କୃତି ସହିତ ଆଧୁନିକତାର ହେବ ସମନ୍ବୟ: ନବୀନ

ଆମ ଓଡିଶା ନବୀନ ଓଡ଼ିଶା ଯୋଜନାରେ ସଂସ୍କୃତି ସହିତ ଆଧୁନିକତାର ହେବ ସମନ୍ବୟ: ନବୀନ

ଭୁବନେଶ୍ବର : ରାଜ୍ୟ ସରକାରଙ୍କର ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’।   ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  ପୁରୀ ଓ ନୟାଗଡ ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି । ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା । ଏଥିପାଇଁ ପୁରୀ ଜିଲ୍ଲାର ୬ଟି ନିର୍ବାଚନମଣ୍ଡଳୀକୁ ମିଳିଛି ୧୩୪ କୋଟି ଟଙ୍କା ଏବଂ ଏଥିରେ ୪୧୩୦ଟି ପ୍ରକଳ୍ପ ହେବ। ସେହିପରି ନୟାଗଡ ଜିଲ୍ଲାର ୪ଟି ନିର୍ବାଚନମଣ୍ଡଳୀ ପାଇଁ ୯୭ କୋଟି ଟଙ୍କା ଏବଂ ଏଥିରେ ୨୯୨୪ଟି ପ୍ରକଳ୍ପ କାର୍ୟ୍ୟକାରୀ ହେବ।
ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ କହିଥିଲେ ଯେ ଏହି ଯୋଜନାରେ ସଂସ୍କୃତି ସହିତ ଆଧୁନିକତାର ହେବ ସମନ୍ବୟ।  ଏହି ସମନ୍ବୟରେ ଗାଁ ଗାଁ ରେ ଆସିବ ସମୃଦ୍ଧି। ଏହି ହେଉଛି ଏକବିଂଶ ଶତାଦ୍ଦୀର ଓଡିଶା ପାଇଁ ଆମର ସଂକଳ୍ପ।  ଓଡିଶା ହେଉଛି ଜଗନ୍ନାଥଙ୍କ ଭୂମି । ବିଶ୍ବ ପ୍ରେମ, ଶାନ୍ତି, ସଦ୍‌ଭାବ, ସମାନତା ଓ ସେବା ହେଉଛି ଜଗନ୍ନାଥ ସଂସ୍କୃତିର ବାର୍ତ୍ତା । ଜାତି, ଧର୍ମ, ସଂପ୍ରଦାୟ ନିର୍ବିଶେଷରେ ଏହା ସମସ୍ତଙ୍କୁ ନିଜର କରିପାରିଛି । ଆମ ଓଡିଶା ନବୀନ ଓଡିଶା କାର୍ୟ୍ୟକ୍ରମରେ ପ୍ରତି ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ କରାଯିବ। ପ୍ରତି ପୂଜାସ୍ଥଳୀର ବିକାଶ କରାଯିବ। ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ କରାଯିବ। ଆମର ଭବିଷ୍ୟତ ବଂଶଧର ମାନଙ୍କ ନିମନ୍ତେ ଏସବୁ ସଂସ୍କୃତି ଓ ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ ଓ ସୁରକ୍ଷା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗାଁ ରେ ଡିଜିଟାଲ ଭିତ୍ତିଭୂମିର ବିକାଶ ଏହି ଯୋଜନାର ଅନ୍ୟତମ ଲକ୍ଷ୍ୟ । ଗାଁ ରେ ଇଣ୍ଟରନେଟ୍‌ ସଂଯୋଗ ମିଳିବ । ବିଜ୍ଞାନ ପାର୍କ ହେବ । ଦକ୍ଷତା ବିକାଶ କେନ୍ଦ୍ର ହେବ ।  ବ୍ୟାଙ୍କିଙ୍ଗ  ସୁବିଧା  ମିଳିବ। ଏହି କାର୍ୟ୍ୟକ୍ରମରେ ଗାଁର ପ୍ରାଥମିକ ଗୁଡିକ ମଧ୍ୟ ସାମିଲ ହେବ। ଏହା ଆମର ଯୁବ ସମାଜ ପାଇଁ, ମା ମାନଙ୍କ ପାଇଁ, ଚାଷୀ ଭାଇ ଭଉଣୀ ମାନଙ୍କ ପାଇଁ ଓ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଅମାପ ସୁଯୋଗ ଆଣିବ ଏବଂ ଏକ ଆଧୁନିକ, ସଶକ୍ତ, ପ୍ରଗତିଶୀଳ ତଥା ସଂସ୍କୃତି ସଚେତନ ରାଜ୍ୟ ଭାବେ ଓଡିଶାର   ପରିଚୟକୁ ଆହୁରି ଉଜ୍ଜଳ କରିବ। ଏହି ନୂଆ ଓଡିଶାରେ ଆମର ଭିତ୍ତିଭୂମି ହେବ ସୁଦୃଢ ଓ ଡେଣା ହେବ ଶକ୍ତ ଏବଂ ଆକାଂକ୍ଷୀ ଓଡିଶା ପରିକଳ୍ପନା ପାଇବ ସାକାର ରୂପ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହ ଆମ ଓଡିଶା ନବୀନ ଓଡିଶା କାର୍ୟ୍ୟକ୍ରମର ସଫଳ ରୂପାୟନରେ ସମସ୍ତଙ୍କର ସହଯୋଗ କାମନା କରିଥିଲେ।

ଆଜିର କାର୍ୟ୍ୟକ୍ରମ ପାଇଁ ପୁରୀର ୬ଟି ନିର୍ବାଚନମଣ୍ଡଳୀ ଓ ନୟାଗଡର ୪ଟି ନିର୍ବାଚନ ମଣ୍ଡଳୀରେ ଆୟୋଜିତ କାର୍ୟ୍ୟକ୍ରମରେ ବିପୁଳ ଜନସମାଗମ ହୋଇଥିଲା। ଆମ ଓଡିଶା ନବୀନ ଓଡିଶା କାର୍ୟ୍ୟକ୍ରମରେ ପୁରୀର ୬ଟି ନିର୍ବାଚନ ମଣ୍ଡଳୀର ୨୬୮ଟି ଗ୍ରାମ ପଞ୍ଚାୟତର ୪୧୩୦ଟି ପ୍ରକଳ୍ପ ପାଇଁ ୧୩୪ କୋଟି  ଟଙ୍କା ମଞ୍ଜୁର କରାଯାଇଥିବା ବେଳେ, ନୟାଗଡ ଜିଲ୍ଲାର ୪ଟି ନିର୍ବାଚନ ମଣ୍ଡଳୀର ୧୯୪ଟି ଗ୍ରାମ ପଞ୍ଚାୟତର  ୨୯୨୪ଟି ପ୍ରକଳ୍ପ ପାଇଁ ୯୭ କୋଟି ଟଙ୍କା ମଞ୍ଜୁର କରାଯାଇଛି । ୫ଟି ସଚିବ ଭି.କେ. ପାଣ୍ଡିଆନ ଏହି କାର୍ୟ୍ୟକ୍ରମକୁ ସଂଯୋଜନା କରିଥିଲେ।