ଦଳକୁ ନୂଆ ଦିଗ ଦେଇଥିଲେ ସୂର୍ୟ୍ୟ ପାତ୍ର : ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵର : ପୂର୍ବତନ ବାଚସ୍ପତି ସୂର୍ୟ୍ୟ ନାରାୟଣ ପାତ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ ସ୍ବର୍ଗତ ପାତ୍ରଙ୍କୁ ଜଣେ ଦକ୍ଷ ପ୍ରଶାସକ ଓ ସଂଗଠକ ଭାବରେ ବର୍ଣ୍ଣନା କରି କହିଛନ୍ତି ତାଙ୍କ ବିୟୋଗ ରାଜ୍ୟ ରାଜନୀତିରେ ଏକ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି କରିଛି । ବିଭିନ୍ନ ବିଭାଗର ମନ୍ତ୍ରୀ ଭାବରେ ସେ ରାଜ୍ୟର ଉନ୍ନୟନ ପ୍ରକ୍ରିୟାକୁ କ୍ରିୟାଶୀଳ କରିଥିଲେ। ବାଚସ୍ପତି ଭାବରେ ସେ ଓଡିଶାରେ ସଂସଦୀୟ ପରମ୍ପରାର ମର୍ୟ୍ୟାଦାକୁ ଅକ୍ଷୁର୍ଣ୍ଣ ରଖି ବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ।
ତାଙ୍କର ଅମାୟିକ ସ୍ଵଭାବ ପାଇଁ ସେ ଦଳ, ମତ ନିର୍ବିଶେଷରେ ସମସ୍ତଙ୍କର ପ୍ରିୟ ପାତ୍ର ଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ବିଜୁ ଜନତା ଦଳର ଜଣେ ବରିଷ୍ଠ ନେତା ଭାବେ ସେ ଦଳକୁ ନୂଆ ଦିଗ ଦେଇଥିଲେ। ବିଶେଷକରି ଗଞ୍ଜାମ ଜିଲ୍ଲାରେ ଦଳକୁ ସୁଦୃଢ଼ କରିବାରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିଲା ବୋଲି ମୁଖ୍ୟମନ୍ତ୍ରୀ କହଛନ୍ତି।ତାଙ୍କ ବିୟୋଗ ରାଜ୍ୟ ରାଜନୀତିରେ ଏକ ବିରାଟ ଶୂନ୍ୟତା ସୃଷ୍ଟି କରିଛି ବୋଲି ସେ କହିଛନ୍ତି। ପରଲୋକଗତ ଆତ୍ମାର ସଦଗତି କାମନା କରିବା ସହିତ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଗଭୀର ସମ ବେଦନା ଜଣାଇ ଛନ୍ତି।
ସୂର୍ୟ୍ୟନାରାୟଣ ପାତ୍ର ଦୀର୍ଘମାସ ଧରି ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥାଇ ଚିକିତ୍ସିତ ହେଉଥିଲେ । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲିଥିଲା । ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ସନ୍ଧ୍ୟାରେ ତାଙ୍କର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୫ ବର୍ଷ ହୋଇଥିଲା।




admin 