କାଳୀୟଦଳନ ବେଶ 

କାଳୀୟଦଳନ ବେଶ 

ଆଜି ଭାଦ୍ରବ କୃଷ୍ଣ ପକ୍ଷ ଏକାଦଶୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ କାଳୀୟଦଳନ ବେଶ ଓ ଧେନୁକାସୁର ବଧ ପ୍ରସ୍ତାବ ଅନୁଷ୍ଠିତ ହୋଇଛି | ଗତକାଲି ଠାକୁରଙ୍କ ବଣଭୋଜି ବେଶ, କୋଳିବିକା, ବକାସୁର ଓ ଅର୍ଘ୍ୟଆସୁର ବଧ ନିତି ଅନୁଷ୍ଠିତ ହୋଇଥିଲା | ମହାପ୍ରଭୁ ବାଳଗୋପାଳ ଓ ବଡ଼ଠାକୁର ବଳରାମ  ବେଶ ହୋଇଥିଲେ | କିନ୍ତୁ ଆଜି  ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ବଢିବା ପରେ  ମଦନମୋହନ ଓ ରାମକୃଷ୍ଣଙ୍କୁ  ପୂଜାପଣ୍ଡା ସାମନ୍ତ  ଆଜ୍ଞାମାଳ ବିଜେ କରାଇବା ପରେ ପୁଷ୍ପାଳକ ସେବକ ମାନେ ମହାପ୍ରଭୁଙ୍କୁ   ଝୁଲଣ ମଣ୍ଡପ ନିକଟରେ ଥିବା ପାଲିଙ୍କିରେ ବିଜେ କରାଇଥିଲେ । ପରେ ଠାକୁର ମାନେ ଶ୍ରୀମନ୍ଦିର ବେଢା ପରିକ୍ରମା କରି ଲୋକନାଥ ରୋଡ୍ ସ୍ଥିତ ଲବଣୀଖିଆ ମଣ୍ଡପକୁ ବିଜେ କରିଥିଲେ | ସେଠାରେ  ବନ୍ଦାପନା, ଶୀତଳ ଭୋଗ ଇତ୍ୟାଦି ନୀତି ସମାପନ ପରେ ମାର୍କଣ୍ଡ ପୁଷ୍କରିଣୀଠାରେ ମହାପ୍ରଭୁଙ୍କ କାଳୀୟଦଳନ ଲୀଳା ସମାପନ ହୋଇଥିଲା | ପରେ  ଶୀତଳ ଭୋଗ ଓ ବନ୍ଦାପନା ହୋଇ ମହାପ୍ରଭୁ ବାହୁଡା ବିଜେ କରିବା ପରେ  ଜୟବିଜୟ ଦ୍ୱାର ଠାରେ ଏକାଦଶୀ ଭୋଗ ଓ ବନ୍ଦାପନା ନୀତି ବଢିଥିଲା | ପରେ ଠାକୁର ଦକ୍ଷିଣୀ ଘରକୁ ବିଜେ କରିଥିଲେ । ଏହାପରେ ଅନ୍ୟାନ୍ୟ ନୀତି ବଢିବା ପରେ ରତ୍ନ ସିଂହାସନ ଉପରେ ବିରାଜିତ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କୁ କାଳୀୟଦଳନ ବେଶରେ ସଜ୍ଜିତ କରାଯାଇଥିଲା ।