ବର୍ଷା : ଆଜି ୧୪ ଜିଲ୍ଲା ୟେଲୋ ୱାର୍ଣ୍ଣିଂ ଜାରି

ବର୍ଷା : ଆଜି ୧୪ ଜିଲ୍ଲା ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର:  ରାଜ୍ୟରେ ମେଘୁଆ ପାଗ ସହ କିଛି ଅଞ୍ଚଳରେ ବର୍ଷା ଜାରି । ଆଜିି ୧୪ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୩୧ତାରିଖରୁ ଆହୁରି ବଢ଼ିବ ବର୍ଷାର ବିସ୍ତୃତି । ଭଦ୍ରକ, ବାଲେଶ୍ୱର, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ, ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ସମ୍ବଲପୁର, ସୋନପୁର, ବୌଦ୍ଧ, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ବର୍ତ୍ତମାନ ଉତ୍ତର ଓଡ଼ିଶା ଓ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ଝାରଖଣ୍ଡରୁ ପଶ୍ଚିମ ଆସାମ ଅଞ୍ଚଳରେ ରହିଥିବା ଘୂର୍ଣ୍ଣିବଳୟ ଦେଇ ଉତ୍ତର-ଦକ୍ଷିଣ ଟ୍ରଫ୍‌ଲାଇନ୍‌ ଗତି କରୁଛି । ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଏହାର ପ୍ରଭାବରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଫଳରେ ରାଜ୍ୟରେ ଆସନ୍ତା ୨ ତାରିଖ ଯାଏ ବିସ୍ତୃତ ବର୍ଷା ହେବ ବୋଲି ପାଣିପାଗ ବିଶେଷଜ୍ଞମାନେ ପୂର୍ବାନୁମାନ କରିଛନ୍ତି । ପାଣିପାଗ କେନ୍ଦ୍ରର ସୂଚନା ମୁତାବକ ଆସନ୍ତା ୩୧ ତାରିଖ ଦିନ ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ସୁବର୍ଣ୍ଣପୁର, ‌ବୌଦ୍ଧ, ବଲାଙ୍ଗୀର ଓ କନ୍ଧମାଳ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଏଣୁ ଏହିସବୁ ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।
ସେହିଭଳି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ନୟାଗଡ଼ ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହୁଛି । ଏହିସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧ ତାରିଖ ଦିନ ମଧ୍ୟ ବରଗଡ଼, ସମ୍ବଲପୁର, ସୁବର୍ଣ୍ଣପୁର, ବୌଦ୍ଧ, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ଦେବଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷିବାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏଥିସହ ଉପକୂଳ ଓ ସଂଲଗ୍ନ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷାର ସମ୍ଭାବନା ରହୁଥିବାରୁ ୟେ‌ଲୋ ୱାଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଜି ରାଜଧାନୀ ଭୁବନେଶ୍ବର ଓ ଏହାର ଆଖପାଖ ଅଞ୍ଚଳର ପାଗ ମେଘୁଆ ରହିବ। ବର୍ଷା ସମ୍ଭାବନା ମଧ୍ୟ ରହିଛି।