ଆଜି ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର: ଆଜିଠୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଶ୍ରୀମତୀ ମୁର୍ମୁ ନୂଆ ଦିଲ୍ଲୀରୁ ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ। ପରେ ସେଠାରୁ ରାଜଭବନ ଯିବେ।
ରାଜଭବନଠାରେ ରାଜ୍ୟର ଆଦିମ ଜନଜାତି ସମୁଦାୟର ପ୍ରତିନିଧିମାନଙ୍କୁ ଭେଟିବେ ଓ ସେଠାରେ ରାତ୍ର ଯାପନ କରିବେ। ୨୬ତାରିଖରେ କଟକ ଚଣ୍ଡିମନ୍ଦିର ଯାଇ ସେଠାରେ ପୂଜାର୍ଚ୍ଚନା କରିବା ସହ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ବାସଭବନ ଓ ନେତାଜୀ ଜନ୍ମସ୍ଥାନ ସଂଗ୍ରହାଳୟ ପରିଦର୍ଶନ କରିବେ। ସେହିଦିନ କଟକରେ ଓଡ଼ିଶା ହାଇକୋର୍ଟର ୭୫ତମ ପ୍ରତିଷ୍ଠା ଦିବସ ସମାରୋହ, କଟକସ୍ଥିତ ଜାତୀୟ ଆଇନ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବ ଏବଂ ଏସସିବି ମେଡିକାଲ କଲେଜ ଓ ହସ୍ପିଟାଲର ବାର୍ଷିକ ଉତ୍ସବରେ ସାମିଲ ହେବେ।
୨୭ତାରିଖରେ ଭୁବନେଶ୍ୱରର ତମାଣ୍ଡୋର ଦଶବାଟିଆଠାରେ ବ୍ରହ୍ମକୁମାରୀ କେନ୍ଦ୍ର ଲାଇଟ୍ ହାଉସ୍ କମ୍ପେ୍ଲକ୍ସର ଶିଳାନ୍ୟାସ କରିବା ସହ ଭଦ୍ରକ ଯାଇ ଭଦ୍ରକ ସ୍ୱୟଂଶାସିତ କଲେଜର ହୀରକ ଜୟନ୍ତୀ ସମାରୋହରେ ଯୋଗ ଦେଇ ନୂଆଦିଲ୍ଲୀ ଫେରିଯିବେ।