ଆଜି ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
ଆଜି ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
ଭୁବନେଶ୍ବର: ଓ୍ବେଲମାର୍କ ଲୋ’ ପ୍ରେସରରେ ଲଘୁଚାପର ରୂପ ନେବ । ଏହାର ପ୍ରଭାବରେ ଆଜିଠୁ ଓଡିଶାରେ ବର୍ଷାର ପରିମାଣ ବଢିବ । ଆସନ୍ତା ୩ ଦିନ ପର୍ୟ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ । ଆଜି(ରବିବାର) ୧୧ ଜିଲ୍ଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହିସବୁ ଜିଲ୍ଲା ଗୁଡିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହାବ୍ୟତୀତ ୧୪ ଜିଲ୍ଲାକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ଆଜିଠାରୁ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି ।
ସକ୍ରିୟ ଘୂର୍ଣ୍ଣି-ବଳୟ ପ୍ରଭାବରେ, ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଓଡିଶା-ପଶ୍ଚିମବଙ୍ଗ ଉପକୂଳ ସମୁଦ୍ର ଅଞ୍ଚଳରେ ଲଘୁଚାପ-କ୍ଷେତ୍ର ସୃଷ୍ଟି ହୋଇଛି । ଆଗାମୀ ୨୪ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆଭ୍ୟନ୍ତରୀଣ ଓଡ଼ିଶା, ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ପ୍ରବଳ ବର୍ଷା ହେବା ନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ଅତି ପ୍ରବଳ ବର୍ଷା ପ୍ରଭାବରେ ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ସମ୍ଭାବନା ରହିଛି । ତଳିଆ ଅଞ୍ଚଳ, ଅଣ୍ଡର-ପାସ ରୋଡ଼ରେ ପାଣି ଜମିବା ସହ, କଚ୍ଚା ରାସ୍ତା ଆଉ କଚ୍ଚା ଘର ପ୍ରଭାବିତ ହେବାର ସମ୍ଭାବନା ରହିଛି । ସ୍ଥିତି ଉପରେ ନଜର ରଖିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି ।