କନ୍ଧମାଳକୁ ସ୍ମାର୍ଟ ସ୍ୱାସ୍ଥ୍ୟ କାର୍ଡ, ବିଭିନ୍ନ ପ୍ରକଳ୍ପ ଭେଟି
କନ୍ଧମାଳକୁ ସ୍ମାର୍ଟ ସ୍ୱାସ୍ଥ୍ୟ କାର୍ଡ, ବିଭିନ୍ନ ପ୍ରକଳ୍ପ ଭେଟି
admin
Nov 22, 2021 - 09:28
Updated: Nov 22, 2021 - 09:28
ଫୁଲବାଣୀ:ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କନ୍ଧମାଳ ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଜିଲ୍ଲାର ୬ ଲକ୍ଷ ୫୦ ହଜାର ଲୋକ ଏହି ସୁବିଧା ପାଇବେ। ଏହାସହିତ ଏଯାବତ ରାଜ୍ୟର ୧୬ଟି ଜିଲ୍ଲାର ଜନସାଧାରଣ ଏହି କାର୍ଯ୍ୟକ୍ରମରେ ସାମିଲ ହେଲେଣି । କନ୍ଧମାଳରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ୬ ଲକ୍ଷ ୫୦ ହଜାରେ ଲୋକ ସ୍ମାର୍ଟ କାର୍ଡ ପାଇବେ ବୋଲି ପ୍ରକାଶ କରି ଏହାଦ୍ବାରା ସେମାନଙ୍କର ଏକ ବଡ ସମସ୍ୟା ଦୂର ହୋଇପାରିବ।
ଏହି ଅବସରରେ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ ପର୍ଯ୍ୟଟନ ଓ ଜୈବିକ ଫସଲ ପାଇଁ କନ୍ଧମାଳ ଜିଲ୍ଲାର ଖୁବ୍ ପ୍ରଶଂସା କରିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ କନ୍ଧମାଳ ହେଉଛି ସୁନାର ଭୂମି। ଜୈବିକ ଫସଲ ବିଶେଷ କରି କନ୍ଧମାଳ ହଳଦୀ ଆଜି ସାରା ଦେଶରେ ଏକ ଲୋକପ୍ରିୟ ବ୍ରାଣ୍ଡ ଭାବରେ ପ୍ରତିଷ୍ଠା ଲାଭ କରିଛି।
ଜୈବିକ ଫସଲ ପାଇଁ ଏବେ ଆଗ୍ରହ ବଢୁଥିବାରୁ ଏ କ୍ଷେତ୍ରରେ କନ୍ଧମାଳର ବହୁତ ସୁଯୋଗ ରହିଛି । ସେହିପରି ଇକୋ ଟୁରିଜିମ ପାଇଁ ମଧ୍ୟ କନ୍ଧମାଳ ସାରା ଦେଶର ପର୍ଯ୍ୟଟକ ମାନଙ୍କ ପାଇଁ ଆକର୍ଷଣର କେନ୍ଦ୍ର ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏ ଦୁଇ କ୍ଷେତ୍ରର ବିକାଶ ପାଇଁ ରାଜ୍ୟ ସରକାର ଗୁରୁତ୍ବ ଦେଇ କାମ କରୁଛନ୍ତି ବୋଲି କହିଥିଲେ ।
ଆଜି କନ୍ଧମାଳ ପାଇଁ ମୁଖ୍ୟମନ୍ତ୍ରୀ ୨୭୬ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ୫୦୪ କୋଟି ଟଙ୍କା ବିନିଯୋଗରେ କନ୍ଧମାଳରେ ୫୦୦ ଶଯ୍ୟା ବିଶିଷ୍ଟ ଏକ ମେଡିକାଲ କଲେଜ ଓ ହସ୍ପିଟାଲ ପ୍ରତିଷ୍ଠା ହେବ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରି କହିଥିଲେ ଯେ ଏଥିରେ ବର୍ଷକୁ ୧୦୦ ଜଣ ପିଲା ଡାକ୍ତରୀ ପାଠ ପଢିପାରିବେ। ମେଡିକାଲ କଲେଜ ନିର୍ମାଣ କାମ ଠିକ୍ ସମୟରେ ଶେଷ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି ବୋଲି ପ୍ରକାଶ କରିଥିଲେ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ କନ୍ଧମାଳ ଜିଲ୍ଲାରେ ବିଜୁ ସେତୁ ଯୋଜନାରେ ୧୨୦ କୋଟି ଟଙ୍କା ବିନିଯୋଗରେ ୬୯ ଗ୍ରାମ ପଞ୍ଚାୟତରେ ଯୋଗାଯୋଗର ଉନ୍ନତି କରାଯାଇଛି । ଏଥିପାଇଁ ଖୁସି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହାଦ୍ବାରା ଜିଲ୍ଲାର ୨ ଲକ୍ଷ ଲୋକ ଉପକୃତ ହେଉଛନ୍ତି।ବାଲିଗୁଡାରେ ନିର୍ମାଣାଧୀନ ୨୨୦/୩୩ କେଭି ଗ୍ରିଡ଼ ଷ୍ଟେସନ ଖୁବ୍ ଶୀଘ୍ର ସରିବ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହାଦ୍ବାରା କେ. ନୂଆଗାଁ, ତୁମୁଡିବନ୍ଧ, କୋଟଗଡ, ଦାରିଙ୍ଗିବାଡି ଓ ବାଲିଗୁଡା ବ୍ଲକର ୭୦ ହଜାର ପରିବାର ଉପକାର ପାଇବେ। ଏହାଦାରା ପାଇପ ପାଣି ଯୋଗାଣରେ ଉନ୍ନତି ଆସିପାରିବ।