ରାଜ୍ୟ ବାହାରେ ମିଳିବ ‘କୋରାପୁଟ କଫି’
ରାଜ୍ୟ ବାହାରେ ମିଳିବ ‘କୋରାପୁଟ କଫି’
ଭୁବନେଶ୍ୱର : କୋରାପୁଟ ଜିଲ୍ଲାର ଏକ ନିର୍ଦ୍ଧିଷ୍ଟ ଅଞ୍ଚଳରେ ଉତ୍ପାଦନ ହେଉଥିବା ‘କୋରାପୁଟ କଫି’ ଖୁବ୍ ଶୀଘ୍ର ରାଜ୍ୟ ତଥା ଦେଶ ବାହାରେ ନିଜ ଉପସ୍ଥିତି ଜାହିର କରିବାକୁ ଯାଉଛି । ରାଜ୍ୟର କଫି ଚାଷୀଙ୍କ ଉନ୍ନତି ଓ ସମୃଦ୍ଧି ପାଇଁ ଟିଡିସିସିଓଏଲର ପ୍ରୟାସରେ ‘କୋରାପୁଟ କଫି’ର ବିକ୍ରି ପାଇଁ ‘ଟାଟା କଫି’ ସହମତି ପ୍ରକାଶ କରିଛି । ଏହାର ସ୍ୱତନ୍ତ୍ରତାକୁ ବଜାୟ ରଖିବା ଉପରେ ଗୁରୁତ୍ୱ ଦେଇ ‘ଟାଟା କଫି’ ପ୍ରଥମ ଥର ପାଇଁ ଓଡ଼ିଶାରୁ କଫି କ୍ରୟ କରିବାକୁ ଯାଉଛି । କୋରାପୁଟରେ କଫି ଚାଷକୁ ବ୍ୟାପକ ଓ ସମୃଦ୍ଧ କରିବାରେ କଫି ଚାଷୀଙ୍କ ଅବଦାନକୁ ସମ୍ମାନ ଜଣାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କସମପଦର ଗାଁର ସୁଲୋଚନା ଖରଙ୍କ ଉଚ୍ଚ ପ୍ରଶଂସା କରିଛନ୍ତି । ସେ କହିଛନ୍ତି, ଟିଡିସିସିଓଏଲକୁ ୨୦୦ କେଜିରୁ ଊର୍ଦ୍ଧ୍ୱ କଫି ଫଳ ବିକ୍ରି କରି ସୁଲୋଚନା ଖର ସଫଳ କଫି ଚାଷୀ ଭାବେ ଅନ୍ୟମାନଙ୍କ ପାଇଁ ପ୍ରେରଣାର ଉତ୍ସ ସାଜିଛନ୍ତି । ‘କୋରାପୁଟ କଫି’ର ଚାହିଦା ପୂରଣରେ ତାଙ୍କ ପରି ଚାଷୀଙ୍କ ନିଷ୍ଠା ଓ ପ୍ରତିବଦ୍ଧତା ଅତ୍ୟନ୍ତ ପ୍ରଶଂସନୀୟ । କଫି ଚାଷୀଙ୍କ ଆର୍ଥôକ-ସାମାଜିକ ଉନ୍ନତି ପାଇଁ ରାଜ୍ୟ ସରକାର କରୁଥିବା ପ୍ରୟାସରେ ‘ଟାଟା କଫି’ର ସହଯୋଗ ସେମାନଙ୍କ କଲ୍ୟାଣରେ ସହାୟକ ହେବ । କୋଭିଡ ସଙ୍କଟ ସମୟରେ ଆଦିବାସୀଙ୍କ ଜୀବନଜୀବିକା ସୁରକ୍ଷିତ କରିବାରେ ଏହା ବଡ଼ ଗୁରୁତ୍ୱ ବହନ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।




admin 