ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କ ସହାୟତା ପାଇଁ ରକ୍ଷକ

ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କ ସହାୟତା ପାଇଁ ରକ୍ଷକ

ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କ ସହାୟତା ପାଇଁ ରକ୍ଷକ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଲୋକସେବା ଭବନର କନ୍‌ଭେନ୍‌ସନ ସେଣ୍ଟରରେ ସଡକ ସୁରକ୍ଷା ପାଇଁ ଏକ ଅଭିନବ ତାଲିମ କାର୍ଯ୍ୟକ୍ରମ ‘ରକ୍ଷକ’ର ଶୁଭାରମ୍ଭ କରିଛନ୍ତି। ରାଜ୍ୟ ପରିବହନ ବିଭାଗ ଦ୍ବାରା ଆୟୋଜିତ ଏହି ତାଲିମ କାର୍ଯ୍ୟକ୍ରମରେ ୩୦ ହଜାର ପ୍ରଥମ ଜୀବନ ରକ୍ଷାକାରୀ (First Responder) ତାଲିମ ପାଇବେ। ୩୦୦ ପ୍ରଶିକ୍ଷକ ରାଜ୍ୟର ୩୦ଟି ଜିଲ୍ଲାରେ ୩୦ ସପ୍ତାହ ପାଇଁ ତାଲିମ ପ୍ରଦାନ କରିବେ। ଏହାଦ୍ବାରା ସଡକ ଦୁର୍ଘଟଣାର ଶିକାର ହେଉଥିବା ବ୍ୟକ୍ତି ମାନଙ୍କୁ ତୁରନ୍ତ ସହାୟତା ଓ ଚିକିତ୍ସା ମିଳିପାରିବ ଓ ଅନେକ ଜୀବନ ବଞ୍ଚାଯାଇ ପାରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଥିଲେ, ସଡ଼କ ଦୁର୍ଘଟଣା କେବଳ ଜଣେ ବ୍ୟକ୍ତି ବା ଗୋଟିଏ ପରିବାରର କ୍ଷତି ନୁହେଁ। ଏହା ସମାଜର କ୍ଷତି। ଅର୍ଥନୀତିର ମଧ୍ୟ ବଡ଼ କ୍ଷତି। ତେଣୁ ଏହାକୁ ରୋକିବା ପାଇଁ ଆମେ ସମସ୍ତେ ଏକାଠି ହୋଇ କାମ କରିବା ଦରକାର। ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ, ଏ କ୍ଷେତ୍ରରେ ଡ୍ରାଇଭରମାନଙ୍କର ଯେତିକି ଦାୟିତ୍ବ, ସଡକ ବ୍ୟବହାର କରୁଥିବା ବ୍ୟକ୍ତିର ମଧ୍ୟ ସେତିକି ଦାୟିତ୍ବ । ତା'ସହିତ ଦୁର୍ଘଟଣା ସ୍ଥଳରେ ଥିବା ଅନ୍ୟ ଲୋକମାନଙ୍କର ମଧ୍ୟ ବିଶେଷ ଦାୟିତ୍ବ ରହିଛି। ତେଣୁ ସେମାନେ ସାମାନ୍ୟ ସହଯୋଗ କଲେ, ଅନେକ ଜୀବନ ରକ୍ଷା ହୋଇପାରିବ ଓ ଅନେକ ପରିବାର ଦୁର୍ଦ୍ଦିନରୁ ରକ୍ଷା ପାଇପାରିବେ। ତାଲିମ ବ୍ୟବସ୍ଥା ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ, ଆପଣମାନେ ହେଉଛନ୍ତି ଜଣେ ଜଣେ ଉତ୍ତମ ନାଗରିକ। ଦୁର୍ଘଟଣାର ପ୍ରଥମ ଏକ ଘଣ୍ଟା ସବୁଠାରୁ ଗୁରୁତ୍ବପୂର୍ଣ୍ଣ । ଏହି ସମୟରେ ଆମେ ଯଦି ତୁରନ୍ତ ଚିକିତ୍ସା କରିବା, ତେବେ ଆମେ ଅନେକ ଜୀବନ ରକ୍ଷା କରିପାରିବା ବୋଲି ସେ କହିଥିଲେ। ବିପଦରେ ଥିବା ଲୋକର ଜୀବନ ବଞ୍ଚାଇବାଠାରୁ ବଡ଼ ପୁଣ୍ୟ କିଛି ନାହିଁ ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସଡକ ଦୁର୍ଘଟଣାର ଶିକାର ହେଉଥିବା ଲୋକମାନଙ୍କୁ ସାହାଯ୍ୟ ପାଇଁ ଆଗେଇ ଆସୁଥିବା ଲୋକକୁ ୨୦୦୦ ଟଙ୍କା ସହାୟତା ଦେବାର ବ୍ୟବସ୍ଥା କରାଯାଇଛି । ଏହାସହିତ ଦୁର୍ଘଟଣାର ଶିକାର ହୋଇଥିବା ବ୍ୟକ୍ତି ମାନଙ୍କର ଚିକିତ୍ସା ପାଇଁ ରାଜ୍ୟ ସରକାର ୧୪୭ କୋଟି ଟଙ୍କାର ଏକ ପାଣ୍ଠି ଗଠନ କରିଛନ୍ତି । ସଡକ ଦୁର୍ଘଟଣା ରୋକିବା ପାଇଁ ସରକାରଙ୍କ ଏ ଉଦ୍ୟମରେ ସହଯୋଗ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିବେଦନ କରିଥିଲେ। ବିଭିନ୍ନ ଅଣ-ସରକାରୀ ସଂଗଠନ ସଡକ ଦୁର୍ଘଟଣା ସମୟରେ ତୁରନ୍ତ ସହାୟତା ଯୋଗାଇଦେବା ଓ ସଚେତନତା ସୃଷ୍ଟି କ୍ଷେତ୍ରରେ ଯେଉଁ ଉଦ୍ୟମ କରୁଛନ୍ତି, ମୁଖ୍ୟମନ୍ତ୍ରୀ ତାର ଉଚ୍ଚ ପ୍ରଶଂସା କରିଥିଲେ। ସେମାନଙ୍କର ଏହି ଉଦ୍ୟମ ସଫଳ ହେବ ଓ ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା କମିପାରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ । ଏହି ତାଲିମ କାର୍ଯ୍ୟକ୍ରମ ପାଇଁ ପରିବହନ ବିଭାଗକୁ ଧନ୍ୟବାଦ ଦେବା ସହିତ ରାଜ୍ୟସ୍ତରରେ ଏଭଳି କାର୍ଯ୍ୟକ୍ରମ ପ୍ରଥମ ବୋଲି କହିଥିଲେ । ତାଲିମ କାର୍ଯ୍ୟକ୍ରମ ଶେଷ ହେବା ପରେ ସଡକ ସୁରକ୍ଷା କ୍ଷେତ୍ରରେ ବହୁତ ଉନ୍ନତି ଆସିପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ବିଭିନ୍ନ ସ୍ବେଚ୍ଛାସେବୀ, ରେଡକ୍ରସ ଓ ଅନ୍ୟାନ୍ୟ ସଂସ୍ଥା ମାନଙ୍କୁ ମୁଖ୍ୟମନ୍ତ୍ର ଧନ୍ୟବାଦ ଦେଇ ଜୀବନ ରକ୍ଷା କ୍ଷେତ୍ରରେ ସମସ୍ତଙ୍କ ସହଯୋଗ କାମନା କରିଥିଲେ । ମୁଖ୍ୟମନ୍ତ୍ରୀ ରକ୍ଷକ ତାଲିମ କାର୍ଯ୍ୟକ୍ରମର ଲୋଗୋ ଉନ୍ମୋଚନ କରିବା ସହିତ ଏହାର ୱେବସାଇଟ OPTICS ଉଦ୍‌ଘାଟନ କରିଥିଲେ । ତାଲିମରେ ଯୋଗ ଦେଇଥିବା first responderମାନଙ୍କୁ କିଟ୍‌ ଓ ଟି-ସାର୍ଟ ବଣ୍ଟନ କରିଥିଲେ ।