୧୧ ପର୍ଯ୍ୟନ୍ତ ବର୍ଷିବ, ବୋହିବ ପବନ

୧୧ ପର୍ଯ୍ୟନ୍ତ ବର୍ଷିବ, ବୋହିବ ପବନ

୧୧ ପର୍ଯ୍ୟନ୍ତ ବର୍ଷିବ, ବୋହିବ ପବନ
ଭୁବନେଶ୍ୱର : ଉତ୍ତର ଓଡ଼ିଶା ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଲଘୁଚାପ ସହିତ ଘୂର୍ଣ୍ଣିବଳୟ ସକ୍ରିୟ ଥିବାରୁ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା ପ୍ରକୋପ ଜାରି ରହିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ କେତେକ ଜିଲାରେ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ତେବେ ବର୍ଷା ପ୍ରଭାବ ଆସନ୍ତା ୧୧ତାରିଖ ପର୍ଯ୍ୟନ୍ତ ଲାଗିରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ସୋନପୁର, ବରଗଡ଼, ସମ୍ବଲପୁର ଓ ଝାରସୁଗୁଡ଼ା ଆଦି ୪ଟି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏସବୁ ଜିଲା ପାଇଁ ୱାର୍ନିଂ ଜାରି କରାଯାଇଛି। ପ୍ରବଳ ବର୍ଷା ପ୍ରଭାବରେ ତଳିଆ ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବା ସହିତ କଚା ଘର ଭାଙ୍ଗିବା ଓ ରାସ୍ତା ଯୋଗାଯୋଗ ବିଚ୍ଛିନ୍ନ ହେବାର ଆଶଙ୍କା ରହିଛି। ସେହିପରି ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ଅନୁଗୋଳ, ବୌଦ୍ଧ, ବଲାଙ୍ଗୀର, ନୂଆପଡ଼ା ଓ ନବରଙ୍ଗପୁର ଆଦି ୮ଟି ଜିଲାରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଏସବୁ ଜିଲାକୁ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି। ଏହାଛଡ଼ା କୋରାପୁଟ, କଳାହାଣ୍ଡି, କନ୍ଧମାଳ,ଢ଼େଙ୍କାନାଳ, କଟକ ଓ ମୟୂରଭଞ୍ଜ ଆଦି ୬ଟି ଜିଲାରେ ମଧ୍ୟ କିଛି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଆସନ୍ତା ୯ତାରିଖ ସକାଳ ସୁଦ୍ଧା ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ନୂଆପଡ଼ା ଓ ବରଗଡ଼ ଆଦି ୫ଟି ଜିଲାରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଏହି ଜିଲାଗୁଡ଼ିକୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ତେବେ ଆସନ୍ତା ୪ଦିନ ପର୍ୟ୍ୟନ୍ତ ରାଜ୍ୟର କିଛି ସ୍ଥାନରେ ବର୍ଷା କିମ୍ବା ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ବୁଲେଟିନରେ ସୂଚନା ଦିଆଯାଇଛି। ଲଘୁଚାପ ପ୍ରଭାବ ଯୋଗୁଁ ଉପକୂଳ ଅଞ୍ଚଳରେ ୪୦ରୁ ୫୦କିମି ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ସମୁଦ୍ର ଅଶାନ୍ତ ରହିପାରେ। ତେଣୁ ମତ୍ସ୍ୟଜୀବୀ ଆସନ୍ତା ୨୪ଘଣ୍ଟା ମଧ୍ୟରେ ସମୁଦ୍ରକୁ ନଯିବା ପାଇଁ ସତର୍କ କରିଦିଆଯାଇଛି।