୧୨ ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ ସ୍ମାର୍ଟ କାର୍ଡ ଲାଗୁ
୧୨ ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ ସ୍ମାର୍ଟ କାର୍ଡ ଲାଗୁ
admin
Nov 15, 2021 - 11:02
Updated: Nov 15, 2021 - 11:02
ଝାରସୁଗୁଡା:ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଝାରସୁଗୁଡା ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଜିଲ୍ଲାର ପ୍ରାୟ ୧.୧୫ ଲକ୍ଷ ଲୋକ ଏହି ସୁବିଧା ପାଇବେ । ଝାରସୁଗୁଡା ସହିତ ରାଜ୍ୟର ୧୨ଟି ଜିଲ୍ଲା ଏହି କାର୍ଯ୍ୟକ୍ରମରେ ସାମିଲ ହେଲା ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ହୀରାକୁଦ ନଦୀ ବନ୍ଧ ପ୍ରକଳ୍ପ ଦ୍ବାରା ଝାରସୁଗୁଡାର ୨୦୦୦ ବିସ୍ଥାପିତ ପରିବାରକୁ ଘରଡିହ ଯୋଗାଇ ଦିଆଯିବ ବୋଲି ଘୋଷଣା କରିଛନ୍ତି। ଏହାଦ୍ବାରା ବିସ୍ଥାପିତଙ୍କର ଦୀର୍ଘ ଦିନର ସମସ୍ୟା ଦୂର ହେବ ।
ଆଜି ମୁଖ୍ୟମନ୍ତ୍ରୀ ଝାରସୁଗୁଡାର ୨୯୭ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ଏଥିରେ ୧୪୪ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଉଦ୍ଘାଟିତ ହୋଇଥିବା ବେଳେ ୧୫୩ କୋଟି ଟଙ୍କାର କାମ ପାଇଁ ଭିତ୍ତିପ୍ରସ୍ତର ରଖାଯାଇଥିଲା । ଝାରସୁଗୁଡା ଓ ବ୍ରଜରାଜନଗର ପାଇଁ ଦୁଇଟି warer treatment plant ର ଉଦ୍ଘାଟନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହାଦ୍ବାରା ଏହି ଦୁଇଟି ସହରର ଲୋକମାନେ ଭଲ ପିଇବା ପାଣି ପାଇପାରିବେ।
ଝାରସୁଗୁଡା ଜିଲ୍ଲାର ସବୁ ଗାଁ ଓ ସବୁ ସହରକୁ ଭଲ ପିଇବା ପାଣି ଯୋଗାଇ ଦେବାପାଇଁ ୬୧୮ କୋଟି ଟଙ୍କାର ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୨୦୨୨ ଜୁନ୍ ସୁଦ୍ଧା ଜିଲ୍ଲାର ୧ ଲକ୍ଷ ୨୨ ହଜାର ପରିବାରକୁ ପାଇପ ପାଣି ଯୋଗାଇ ଦିଆଯିବ।
ଜିଲ୍ଲାରେ ଜଳସେଚନ ପ୍ରକଳ୍ପ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପାର୍ବତୀଗିରି ମେଗା ଲିଫ୍ଟ ଜଳସେଚନ ପ୍ରକଳ୍ପରେ ଏକ ହଜାର ହେକ୍ଟର ଚାଷ ଜମିକୁ ଜଳସେଚନର ସୁବିଧା ଦିଆଯାଇଛି । ଏହାସହିତ ଜିଲ୍ଲାରେ ୧୮୬ କୋଟି ଟଙ୍କାର ୪ଟି ମେଗା ଲିଫ୍ଟ ଜଳସେଚନ କାମ ଚାଲିଛି ଏବଂ ଜିଲ୍ଲାର ସବୁ ଅଞ୍ଚଳକୁ ଜଳସେଚନ ର ସୁବିଧା ଯୋଗାଇ ଦେବାର ଲକ୍ଷ୍ୟ ଖୁବ ଶୀଘ୍ର ପୂରଣ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
ଝାରସୁଗୁଡାରେ ନିର୍ମାଣଧୀନ ୧୦୦ ଶଯ୍ୟା ବିଶିଷ୍ଟ ହୃଦରୋଗ ଚିକିତ୍ସାଳୟର ନିର୍ମାଣ ଖୁବ ଶୀଘ୍ର ଶେଷ ହେବାକୁ ଯାଉଛି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ । ଏହାଦ୍ବାରା ଲୋକମାନେ ଉନ୍ନତମାନର ଚିକିତ୍ସା ମିଳିପାରିବ ବୋଲି ସେ କହିଥିଲେ । ଏଥିପାଇଁ ୧୦୨ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି । ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ଜିଲ୍ଲାର ୧ ଲକ୍ଷ ୧୫ ହଜାର ଲୋକ ସ୍ମାର୍ଟ ହେଲ୍ଥ କାର୍ଡ ପାଇବେ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏଥିପାଇଁ ଖୁସିବ୍ୟକ୍ତ କରିଥିଲେ ।
ମୁଖ୍ୟମନ୍ତ୍ରୀ କହିଲେ, ସ୍ମାର୍ଟ ହେଲ୍ଥ କାର୍ଡ ଦ୍ବାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ । ଏହାଦ୍ବାରା ଆମର ଗରିବ ଲୋକମାନେ ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ । ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ। ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ଚାଷୀ ହେଉ ବା ମୂଲିଆ ବା ରିକ୍ସା ବାଲା - ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ। ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ସେ କହିଥିଲେ।
ଆମ ପାଇଁ ପ୍ରତ୍ୟେକ ଜୀବନ ମୂଲ୍ୟବାନ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କରୋନା ସମୟରେ ସବୁ ରୋଗୀଙ୍କ ପାଇଁ ଟେଷ୍ଟିଂଠାରୁ ଆରମ୍ଭ କରି ଟ୍ରିଟ୍ମେଣ୍ଟ ପର୍ଯ୍ୟନ୍ତ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି ।
ପ୍ରାରମ୍ଭରେ ମୁଖ୍ୟମନ୍ତ୍ରୀ ମହାନ୍ ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି କହିଥିଲେ ଯେ ତାଙ୍କର ଆଦର୍ଶ, ସଂଗ୍ରାମ ଓ ଦେଶପ୍ରେମ ଯୁଗ ଯୁଗ ଧରି ଆମକୁ ପ୍ରେରଣା ଦେଉଥିବ । ସ୍ବାଧୀନତା ସଂଗ୍ରାମୀ ବିହାରୀ ରାମ ତନ୍ତୀ, ଲକ୍ଷ୍ମୀ ନାରାୟଣ ମିଶ୍ର ଓ ଚିନ୍ତାମଣି ପୂଜାରୀଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଦେଇଥିଲେ ।