୨୬୩ କୋଟିର ଓମ୍ଫେଡ୍ ପ୍ଲାଣ୍ଟ କଟକରେ
୨୬୩ କୋଟିର ଓମ୍ଫେଡ୍ ପ୍ଲାଣ୍ଟ କଟକରେ
admin
Nov 10, 2021 - 09:55
Updated: Nov 10, 2021 - 09:55
କଟକ: କଟକ ଜିଲ୍ଲାର ନରାଜ ପାଖ ଅରିଲୋଠାରେ ୨୬୩ କୋଟି ଟଙ୍କା ବ୍ୟୟରେ ନିର୍ମିତ ଓମ୍ଫେଡ୍ର ଅତ୍ୟାଧୁନିକ ଦୁଗ୍ଧ ପ୍ରକ୍ରିୟାକରଣ କାରଖାନା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ଉଦ୍ଘାଟିତ ହୋଇଯାଇଛି। ଏହି ଅତ୍ୟାଧୁନିକ ପ୍ଲାଣ୍ଟରେ ଦୈନିକ ୫ ଲକ୍ଷ ଲିଟର କ୍ଷୀର ପ୍ରକ୍ରିୟା କରଣ କରାଯିବ। ଏଥିରୁ ଦୈନିକ ୨ ଲକ୍ଷ ଲିଟର ଦୁଗ୍ଧ ଗୁଣ୍ଡ ଉତ୍ପାଦିତ ହେବ।ଏହା ସହିତ ଉଚ୍ଚମାନର ଦହି, ଦୁଗ୍ଧ, ଲହୁଣି, ଲସି, ଘିଅ, ପନୀର ଓ ଫ୍ଲେଭରଡ ମିଲକ ଉତ୍ପାଦନ କରାଯାଇ ଲୋକଙ୍କୁ ସୁଲଭ ମୂଲ୍ୟରେ ଯୋଗାଇ ଦିଆଯିବ।
ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ କହିଲେ, ଓମ୍ଫେଡ୍ ହେଉଛି ରାଜ୍ୟର ଲକ୍ଷ ଲକ୍ଷ ଦୁଗ୍ଧ ଚାଷୀ ମାନଙ୍କର ନିଜ ଅନୁଷ୍ଠାନ। ଏହାର ବିକାଶରେ ସବୁ ଚାଷୀ ଭାଇ ଭଉଣୀ ମାନଙ୍କର ଅବଦାନ ରହିଛି। ଓମ୍ଫେଡ୍ ମଧ୍ୟ ସବୁବେଳେ ଚାଷୀଙ୍କ ସ୍ବାର୍ଥର ସୁରକ୍ଷା ପାଇଁ କାମ କରିଆସୁଛି। ଆଜିର ଏହି ନୂଆ ପ୍ଲାଣ୍ଟ ଉଦଘାଟନ ଦ୍ବାରା ଚାଷୀ ମାନଙ୍କର ରୋଜଗାର ବଢିବ ଓ ପ୍ରାୟ ୬ ଲକ୍ଷ ଚାଷୀ ଉପକାର ପାଇବେ।
ମୁଖ୍ୟମନ୍ତ୍ରୀ କହିଲେ, ଆମର ସବୁ କାର୍ଯ୍ୟକ୍ରମର ମୁଖ୍ୟ ଲକ୍ଷ୍ୟ ହେଉଛି ଚାଷୀ ଭାଇର ରୋଜଗାର ବଢାଇବା। ଏଥିପାଇଁ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ରାଜ୍ୟରେ ଡାଇରୀ ଫାର୍ମ ଓ ପ୍ରୋସେସିଂ ୟୁନିଟ ପ୍ରତିଷ୍ଠା ପାଇଁ ଯେପରି ଯୁବ ସମାଜ ଆଗେଇ ଆସିବେ ସେଥିପାଇଁ ରାଜ୍ୟ ସରକାର ୫୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ରିହାତି ଦେଉଛନ୍ତି। ତେଣୁ ସରକାରଙ୍କର ବିଭିନ୍ନ କାର୍ଯ୍ୟକ୍ରମର ସୁଯୋଗ ନେଇ ରାଜ୍ୟର ବିକାଶରେ ଭାଗୀଦାର ହେବା ପାଇଁ ମୁଖ୍ୟମନ୍ତ୍ରୀ ଆହ୍ବାନ ଜଣାଇଥିଲେ।
ପୁଷ୍ଟି ନିରାପତ୍ତାରେ ଦୁଗ୍ଧର ଗୁରୁତ୍ବ ବିଷୟରେ ଉଲ୍ଲେଖ କରି ମୁଖ୍ୟମନ୍ତ୍ରୀ ଦୁଗ୍ଧ ଉତ୍ପାଦନ ବୃଦ୍ଧି ପାଇଁ ଆହ୍ବାନ ଜଣାଇଥିଲେ ଏବଂ ଶ୍ବେତ ବିପ୍ଳବ ଆଣିବା ପାଇଁ ସରକାରଙ୍କ ଉଦ୍ୟମରେ ସମସ୍ତଙ୍କର ସହଯୋଗ କାମନା କରିଥିଲେ। ରାଜ୍ୟରେ ଓମ୍ଫେଡ୍ର ଦୁଗ୍ଧ ସଂଗ୍ରହ କ୍ଷମତା ଦୈନିକ ୧୦ ଲକ୍ଷ ଲିଟରକୁ ବୃଦ୍ଧି କରିବାକୁ ଲକ୍ଷ୍ୟ ରଖାଯାଇଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ। ସୂଚନାଯୋଗ୍ୟ, ଗତ ଦୁଇ ଦଶକରେ ରାଜ୍ୟରେ ଦୁଗ୍ଧ ଉତ୍ପାଦନ ତିନିଗୁଣ ବୃଦ୍ଧି ପାଇଛି।
ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ବିଭାଗୀୟ ମନ୍ତ୍ରୀ ଡ. ଅରୁଣ ସାହୁ, ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀ, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ପ୍ରଦୀପ ଜେନା ପ୍ରମୁଖ ଯୋଗ ଦେଇଥିଲେ।